ସତର୍କ ରୁହ
ସାମ୍ଭାବ୍ୟ ଗ୍ରୀଷ୍ମ କାଳୀନ ବାତ୍ୟା କୁ ନେଇ ମୁଖ୍ୟମନ୍ତ୍ରୀ ଙ୍କ କଡ଼ା ନିର୍ଦ୍ଦେଶ
ଦକ୍ଷିଣ ବଙ୍ଗପୋସାଗରରେ ସୃଷ୍ଟ ଲଘୁଚାପ ଓ ପରବର୍ତ୍ତୀ ସମୟରେ ବାତ୍ୟା ସୃଷ୍ଟି ହେବା ସମ୍ଭାବନା ଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସ୍ଥିତି ସମୀକ୍ଷା କରିଛନ୍ତି। ଗ୍ରୀଷ୍ମ ଋତୁ ବାତ୍ୟାର ଗତି ଜଟିଳ ତେଣୁ ପ୍ରଶାସନ ଆଗୁଆ ପ୍ରସ୍ତୁତ ରହିବାକୁ ସେ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତାର ଆକଳନ ବହୁତ ଜଟିଳ। ୨୦୧୯ରେ ଫନି ବାତ୍ୟା ମଧ୍ୟ ଏହିପରି ଅଚାନକ ଆସି ବ୍ୟାପକ କ୍ଷୟକ୍ଷତି କରିଥିଲା। ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହିତ NDRF, ODRAF ଓ ଅଗ୍ନିଶମ ସେବା ଆଦି ଆଗୁଆ ରହିବାକୁ ସେ ପରାମର୍ଶ ଦେଇଛନ୍ତି।

ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ସ୍ଥାନାନ୍ତର କରି ବାତ୍ୟା ଆଶ୍ରୟସ୍ଥଳରେ ସୁରକ୍ଷିତ ରଖିବା ପାଇଁ ସେ ପରାମର୍ଶ ଦେବାସହ ଅତ୍ୟାବଶ୍ୟକ ମେସିନ୍ ଓ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖିବାକୁ ସେ କହିଥିଲେ। ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ।








