ସବୁ ଗାଁର ବିକାଶ ହେବ, ଶୀଘ୍ର ହେବ: ଭି.କେ ପାଣ୍ଡିଆନ

ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା 'ଆମ ଓଡିଶା ନବୀନ ଓଡିଶା' ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ପଞ୍ଚମ ଦିନରେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।
ଏଥିପାଇଁ ଖୋର୍ଦ୍ଧା ଜିଲ୍ଲାର ୭ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୫ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା - ଜୟଦେବ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା ଓ ଚିଲିକା । ଏହିସବୁ ନିର୍ବାଚନମଣ୍ଡଳୀର ୧୦ଟି ବ୍ଲକ୍ରେ ୧୯୦ଟି ଗ୍ରାମ ପଞ୍ଚାୟତରେ ୨୭୬୩ଟି ପ୍ରକଳ୍ପ ହେବ। ସେହିପରି ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୯ କୋଟି ଟଙ୍କା ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା - ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା ଓ ଜଗତସିଂହପୁର। ଏଥିରେ ୮ଟି ବ୍ଲକ୍ର ୧୯୮ଟି ଗ୍ରାମପଞ୍ଚାୟତରେ ୨୯୨୨ ଟି ପ୍ରକଳ୍ପ କରାଯିବ।
ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।
ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା'ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।
ଆଜିର କାର୍ଯ୍ୟକ୍ରମ ପାଇଁ ଖୋର୍ଦ୍ଧା ଜିଲ୍ଲାର ୭ଟି ଓ ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ।