୩୧ ଯାଏଁ ପ୍ରବଳ ବର୍ଷିବ
ବଙ୍ଗୋପସାଗରରେ ଗୁରୁବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ

ବଙ୍ଗୋପସାଗରରେ ଗୁରୁବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆଗାମୀ ୨ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଁ ହୋଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି।
ଗୁରୁବାର ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଆଦି ରହିଛି। ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେସବୁ ଜିଲ୍ଲା ମଧ୍ୟରେ ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଆଦି ରହିଛି ।